ପାଣିପାଗ

କଲବଲ କରିବ ଖରା; ଏହି ଜିଲ୍ଲାରେ ୪୫° ଛୁଇଁବ ପାରଦ

ଭୁବନେଶ୍ୱର, ୧୩/୦୪/୨୦୨୬: ରାଜ୍ୟରେ କାଳବୈଶାଖୀର ପ୍ରଭାବ କମିବା ପରେ ଏବେ ତାତି ବଢ଼ିବାରେ ଲାଗିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର ତାପମାତ୍ରା ପ୍ରାୟ ୬ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଫଳରେ ଅଧିକାଂଶ ସହରରେ ପାରଦ ୪୦ ଡିଗ୍ରୀ ଅତିକ୍ରମ କରିବ। ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିବ।

ପାଣିପାଗ ବିଭାଗ ପକ୍ଷରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲା ପାଇଁ ‘ହଟ୍ ଆଣ୍ଡ ହ୍ୟୁମିଡ୍’ ଆଲର୍ଟ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁବା ସହ ଆଦ୍ରତା ଯୋଗୁଁ ଅତ୍ୟଧିକ ଗୁଳୁଗୁଳି ଅନୁଭୂତ ହେବ।

ଅନ୍ୟପଟେ ପଶ୍ଚିମ ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପାଇଁ ସତର୍କ ସୂଚନା ଦିଆଯାଇଛି। ୧୩ ଏବଂ ୧୪ ଏପ୍ରିଲରେ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ବଲାଙ୍ଗୀର ଜିଲ୍ଲାରେ ତାପମାତ୍ରା ୪୫ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ ପହଞ୍ଚିପାରେ। ବିଶେଷ କରି ୧୪ ତାରିଖରେ ବରଗଡ଼ ଓ ବଲାଙ୍ଗୀରରେ ଗ୍ରୀଷ୍ମ ପ୍ରବାହ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ‘ୟେଲୋ ଆଲର୍ଟ’ ଜାରି ହୋଇଛି।

ଆଗାମୀ ସପ୍ତାହେ ଯାଏଁ ତାତିରୁ ନିସ୍ତାର ମିଳିବାର ସମ୍ଭାବନା ନଥିବାରୁ, ଜନସାଧାରଣଙ୍କୁ ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଅତି ଜରୁରୀ କାମ ନଥିଲେ ବାହାରକୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି।

Related Articles

Back to top button