ଭୁବନେଶ୍ବର ଆସିବେ ଉପରାଷ୍ଟ୍ରପତି – Bastabbadi


ଭୁବନେଶ୍ୱର: ଆସନ୍ତା ଜୁଲାଇ ୯ ତାରିଖରେ ଉପରାଷ୍ଟ୍ରପତି ସି. ପି. ରାଧାକ୍ରିଷ୍ଣନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଉପରାଷ୍ଟ୍ରପତିଙ୍କ ଏହି ଗସ୍ତକୁ ସଫଳ ଓ ସୁଚାରୁ ଭାବେ ସମ୍ପନ୍ନ କରିବା ନିମନ୍ତେ ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଉପରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ସୁରକ୍ଷା, ପ୍ରୋଟୋକଲ, ଯାତାୟତ, ଚିକିତ୍ସା, ମୌଳିକ ସୁବିଧା ଏବଂ ବିଭିନ୍ନ କାର୍ଯ୍ୟକ୍ରମର ସୁପରିଚାଳନା ସମ୍ପର୍କରେ ବିସ୍ତୃତ ସମୀକ୍ଷା କରାଯାଇ ସମ୍ପୃକ୍ତ ବିଭାଗଗୁଡ଼ିକୁ ଆବଶ୍ୟକ ନିର୍ଦ୍ଦେଶ ପ୍ରଦାନ କରାଯାଇଛି। ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପରାଷ୍ଟ୍ରପତି ସେଦିନ ଭୁବନେଶ୍ୱରସ୍ଥିତ କୃଷି ଶିକ୍ଷା ସଦନଠାରେ ‘ଗଭୀର ସମୁଦ୍ରରେ ମତ୍ସ୍ୟ ସମ୍ପଦର ସ୍ଥାୟୀ ଉପଯୋଗ ପାଇଁ ଲେଟର ଅଫ୍ ଅଥରାଇଜେସନ୍’ର ଜାତୀୟ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେବେ। ଏହା ସହିତ ସେ ଖୋର୍ଦ୍ଧାସ୍ଥିତ ଜାତୀୟ ବିଜ୍ଞାନ ଶିକ୍ଷା ଏବଂ ଗବେଷଣା ସଂସ୍ଥାନ (ନାଇଜର)ର ୧୫ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିବେ।




