ଗଭୀର ସମୁଦ୍ର ମତ୍ସ୍ୟପାଳନ ମିଶନର ଶୁଭାରମ୍ଭ କଲେ ଉପରାଷ୍ଟ୍ରପତି


ଭୁବନେଶ୍ବର: ଭାରତର ସାମୁଦ୍ରିକ ମତ୍ସ୍ୟକ୍ଷେତ୍ର ଓ ପ୍ରଗତିଶୀଳ ‘ନୀଳ ଅର୍ଥବ୍ୟବସ୍ଥା’ ଇତିହାସରେ ଏକ ନୂତନ ସ୍ୱର୍ଣ୍ଣିମ ଅଧ୍ୟାୟ ଯୋଡ଼ି ହୋଇଯାଇଛି। ରାଜଧାନୀ ଭୁବନେଶ୍ୱରସ୍ଥିତ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (OUAT) ସମ୍ମିଳନୀ କକ୍ଷଠାରେ ଆୟୋଜିତ ଏକ ଭବ୍ୟ ଜାତୀୟସ୍ତରର କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ଶ୍ରୀ ସି.ପି. ରାଧାକୃଷ୍ଣନ୍ ମୁକ୍ତ ସାଗରରେ ଦୀର୍ଘସ୍ଥାୟୀ ମତ୍ସ୍ୟ ଉତ୍ପାଦନ ଲାଗି ଉଦ୍ଦିଷ୍ଟ ‘ଗଭୀର ସମୁଦ୍ରରେ ଦୀର୍ଘସ୍ଥାୟୀ ମାଛ ଉତ୍ପାଦନ ଲାଗି ଅନୁମୋଦନ ପତ୍ର ର ଜାତୀୟ ଶୁଭାରମ୍ଭ କରିଛନ୍ତି। ସୂଚନାଯୋଗ୍ୟ ଯେ, ଚଳିତ ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତ ପ୍ରାୟ ୭୩, ୮୯୦ କୋଟି ଟଙ୍କାର ସାମୁଦ୍ରିକ ଖାଦ୍ୟ ସାମଗ୍ରୀ ରପ୍ତାନି କରି ବିଶ୍ୱରେ ଅଗ୍ରଣୀ ସ୍ଥାନ ହାସଲ କରିପାରିଛି। ବର୍ତ୍ତମାନ ସୁଦ୍ଧା ଅଧିକାଂଶ ମାଛଧରା କାର୍ଯ୍ୟ ଉପକୂଳର ୪୦-୫୦ ନଟିକାଲ ମାଇଲ ମଧ୍ୟରେ ସୀମିତ ଥିବାବେଳେ ଗଭୀର ସମୁଦ୍ରର ଅନ୍ତର୍ଜାତୀୟ ଜଳସୀମାରେ ଟୁନା ଭଳି ଉଚ୍ଚ-ମୂଲ୍ୟର ମାଛ ଧରିବା ପାଇଁ ଏହି ନୂତନ ନୀତି ବିରାଟ ସୁଯୋଗ ଆଣିଦେବ ଏବଂ ଖାଦ୍ୟ ସୁରକ୍ଷା ଓ ପୋଷଣ କ୍ଷେତ୍ରକୁ ସୁଦୃଢ଼ କରିବ। ଏହି ପବିତ୍ର ଅବସରରେ ଉପରାଷ୍ଟ୍ରପତି ଓଡ଼ିଶା ସରକାରଙ୍କ ଏକ ପ୍ରମୁଖ ସଫଳତା ‘ଓଡ଼ିଶା ଗଭୀର ସମୁଦ୍ର ମତ୍ସ୍ୟପାଳନ ମିଶନ ଡକୁମେଣ୍ଟ (୨୦୨୬-୨୦୩୬)’କୁ ମଧ୍ୟ ଆନୁଷ୍ଠାନିକ ଭାବେ ଉନ୍ମୋଚନ କରିଛନ୍ତି।




