ଗଭୀର ଅବପାତର ମୁକାବିଲା ପାଇଁ ପ୍ରସ୍ତୁତି: ୨୪ ଘଣ୍ଟିଆ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ରାଜସ୍ୱ ମନ୍ତ୍ରୀଙ୍କ ନିର୍ଦ୍ଦେଶ


ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଜନିତ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ଲୋକସେବା ଭବନସ୍ଥିତ ରାଜସ୍ୱ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ବୈଠକରେ ସେ ଜିଲ୍ଲାଭିତ୍ତିକ ପ୍ରସ୍ତୁତିର ଆକଳନ କରିବା ସହ ସମସ୍ତ ଜିଲ୍ଲା ପ୍ରଶାସନକୁ ୨୪ ଘଣ୍ଟିଆ ସତର୍କତା ବଜାୟ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସମୀକ୍ଷା ବୈଠକରେ ମନ୍ତ୍ରୀ କହିଛନ୍ତି ଯେ, ଜନସାଧାରଣଙ୍କ ଜୀବନ ଓ ଧନସମ୍ପତ୍ତିର ସୁରକ୍ଷା ଆମର ସର୍ବୋଚ୍ଚ ପ୍ରାଥମିକତା। ଆବଶ୍ୟକତା ଅନୁଯାୟୀ ବିପଦପୂର୍ଣ୍ଣ ଅଞ୍ଚଳରୁ ଲୋକଙ୍କୁ ସୁରକ୍ଷିତ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରିବା ସହ ସେମାନଙ୍କ ପାଇଁ ରନ୍ଧା ଖାଦ୍ୟ, ଶୁଖିଲା ରାସନ, ପାନୀୟ ଜଳ ଏବଂ ଆବଶ୍ୟକ ରିଲିଫ୍ ସାମଗ୍ରୀର ପର୍ଯ୍ୟାପ୍ତ ବ୍ୟବସ୍ଥା କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ସମସ୍ତ ଜରୁରୀକାଳୀନ ବିଭାଗ ମଧ୍ୟରେ ସୂଚାରୁ ସମନ୍ୱୟ ରକ୍ଷା କରି ଯେକୌଣସି ଜରୁରୀ ପରିସ୍ଥିତିର ତ୍ୱରିତ ମୁକାବିଲା କରିବା ଉପରେ ମନ୍ତ୍ରୀ ଶ୍ରୀ ପୂଜାରୀ ଗୁରୁତ୍ୱାରୋପ କରିଛନ୍ତି।




